ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଆଜି ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଏବଂ ବାକି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ମଧ୍ୟ ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । କାଲି ପାଇଁ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ବାକି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ମୟୂରଭଞ୍ଜରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ନୂଆପଡ଼ା, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼ର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହାବାଦ୍ ବି କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୬ ତାରିଖ (ଗୁରୁବାର) ବି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । କେତେକ ଜିଲ୍ଲାରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ବର୍ଷା ସମ୍ଭାବନା ଥିବାବେଳେ ତା’ ପରେ ବି ବିଶେଷ ପରିବର୍ତ୍ତନ ସମ୍ଭାବନା ନଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
