ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଘୂର୍ଣ୍ଣିବଳୟଟି ୧୧ ତାରିଖ ବେଳକୁ ଆଣ୍ଡାମାନ ସାଗର ମଧ୍ୟକୁ ପ୍ରବେଶ କରିବ। ଏହା ପ୍ରଭାବରେ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଆକଳନ କରିଛି ।
ଫଳରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିବାରୁ ତାତି ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିବ ବୋଲି ଆଶା କରାଯାଉଛି। ଶୁକ୍ରବାର ସନ୍ଧ୍ୟାରୁ ବିଭିନ୍ନ ଜିଲାରେ ଝଡ଼ବର୍ଷା ହୋଇଥିବା ସୂଚନା ମିଳିଛି । ଶନିବାର ମଧ୍ୟ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ଝଡ଼ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅନ୍ୟାନ୍ୟ ଜିଲାଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ଦିଆଯାଇଛି।