ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ। ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ପହିଲା ବେଳକୁ ନେଇପାରେ ଲଘୁଚାପର ରୂପ । ଉତ୍ତର ଆଣ୍ଡାମାନ ସାଗର ନିକଟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଅକ୍ଟୋବର ୧ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏହା ଲଘୁଚାପର ରୂପ ନେଇପାରେ । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥର ଦଶହରାକୁ ବର୍ଷା ଭିଜାଇପାରେ ବୋଲି ଆଶଙ୍କା ଦେଖାଦେଇଛି ।
ମଙ୍ଗଳବାର ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ କରାଯାଇଛି । ଏହି ଜିଲ୍ଲାର ଗୋଟିଏକୁ ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।
ବୁଧବାର ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ପବନ, ବଜ୍ରପାତର ପୂର୍ବାନୁମାନ କରାଯାଇଛି । ପୁରୀ, ନୟାଗଡ଼, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଆଦି ଜିଲ୍ଲାରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଦଶହରା ଦିନ ରାଜ୍ୟରେ ହାଲୁକାରୁ ସ୍ୱଳ୍ପ ଧରଣର ବର୍ଷା ହେବ । କିନ୍ତୁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏଥିଲାଗି ଏସବୁ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗୁରୁବାର ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
