Before Header

ସ୍ୱାଧୀନତା ଦିବସରେ ବିଜୁ ସ୍ୱାସ୍ଥ୍ୟକୁ ନୂଆ ରୂପ

0 55

ଭୁବନେଶ୍ୱର (ବଡ଼ ଖବର ): ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଭୁବନେଶ୍ୱର ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ର ମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଯବାନ ଏବଂ କରୋନା ଲଢେଇରେ ଶହୀଦ ହୋଇଥିବା କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ରାଜ୍ୟରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଏକ ଐତିହାସିକ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ସାରା ଓଡ଼ିଶା ମୋ ପରିବାର। ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ। ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠ ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ ବୋଲି ମୁଁ ଘୋଷଣା କରୁଛି ।

ଏଥିପାଇଁ ରାଜ୍ୟର ୯୬ ଲକ୍ଷ ପରିବାର, ସାଢେ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ । ସାରା ଓଡ଼ିଶାରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ଦିଆଯିବ । ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ। ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ, ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ । ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୭୫ ବର୍ଷ ଗୋଟିଏ ଦେଶ ପାଇଁ, ଜାତି ପାଇଁ ବହୁତ ବଡ଼ ସମୟ ନ ହେଲେ ମଧ୍ୟ ଏହାର ବିଶେଷ ଗୁରୁତ୍ବ ରହିଛି।

ଭାରତର ଗଣତନ୍ତ୍ରକୁ ଆମର ସବୁଠାରୁ ବଡ଼ ସଫଳତା ଭାବରେ ବର୍ଣ୍ଣନା କରି ଦେଶର ବିକାଶ ପ୍ରକ୍ରିୟାରେ ଏହା ସମସ୍ତଙ୍କୁ ଭାଗୀଦାର କରିବାରେ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ୪୦ ବର୍ଷର ବ୍ୟବଧାନ ପରେ ଭାରତୀୟ ହକି ଟୋକିଓ ଅଲିମ୍ପିକ୍ସରେ ପଦକ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ଆମ ଖେଳାଳୀ ମାନଙ୍କ ପାଇଁ ସାରା ଦେଶ ଗର୍ବିତ ବୋଲି କହିଥିଲେ । ଭାରତୀୟ ହକି ଦଳକୁ ବିଶ୍ବର ଶ୍ରେଷ୍ଠ ଦଳ ଭାବରେ ଗଢି ତୋଳିବା ପାଇଁ ସବୁପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । କୋଭିଡ ମହାମାରୀକୁ ବିଶ୍ବ ଇତିହାସର ସବୁଠାରୁ ବଡ଼ ସ୍ବାସ୍ଥ୍ୟ ସମସ୍ୟା ଭାବରେ ବର୍ଣ୍ଣନା କରି ଏହାର ମୁକାବିଲାରେ ମାନବ ଜାତି ନିଶ୍ଚୟ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।

Leave A Reply

Your email address will not be published.