ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଉତ୍ତର ଥାଇଲ୍ୟାଣ୍ଡ ଉପରେ ଥିବା ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗରରେ ପ୍ରବେଶ କରିବା ପରେ, ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବ। ଏହା ସହିତ ଆଜିଠାରୁ ଦେଶରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି । ତେବେ ଲଘୁଚାପଟି କ୍ରମଶଃ ଘନୀଭୂତ ହୋଇ ଅବପାତ ଓ ପରେ ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି । ଓଡ଼ିଶାରେ ବଡ଼ ବର୍ଷା ଆଶଙ୍କା ବଢ଼ିଛି ।
୨୨ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ଶନିବାର ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡ଼ଘଡ଼ି ସହିତ ଝଡ଼ବର୍ଷା ନେଇ ସତର୍କତା ଜାରି କରାଯାଇଛି ।
