ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆହୁରି ୪ ଦିନ ନିର୍ଧୂମ ବର୍ଷିବ । ପଶ୍ଚିମ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ଅଧିକାଂଶ ନଦୀର ଜଳସ୍ତର କମୁଥିବାରୁ ବନ୍ୟା ଆଶଙ୍କା ନାହିଁ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ଏହା ଧୀରେ ଧୀରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଉଛି। ଆସନ୍ତା ୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାରେ ପ୍ରବଳ ବର୍ଷା ହୋଇପାରେ । ୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ୨ ଓ ୩ ତାରିଖରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଅଛି । ରବିବାର ସକାଳରୁ ରାତି ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଥିଲା।
ସେପଟେ ବର୍ଷା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ବରଗଡ ଜିଲ୍ଲାରେ ଆଜି ପାଇଁ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ଜିଲ୍ଲା ଶିକ୍ଷା ବିଭାଗ ଛୁଟି ପାଇଁ ସମସ୍ତ ସ୍କୁଲକୁ ଚିଠି କରିଛି। ଭାରତୀୟ ପାଣିପାଗ ବିଭାଗ ଦ୍ଵାରା ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବରଗଡର ରେଡ ୱାର୍ଣିଂ ଦେଇଥିବାରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ବରଗଡ ଜିଲ୍ଲାପାଳ ଆଦିତ୍ୟ ଗୋୟଲ୍।
